/odisha-reporter/media/post_attachments/uploadimage/library/16_9/16_9_0/IMAGE_1687860399.jpg)
Ramamurth Gomango
ପତ୍ନୀଙ୍କ ହତ୍ୟା ମାମଲାରେ ଗତ ଶନିବାର ଦୋଷୀ ସାବ୍ୟସ୍ତ ହୋଇଥିବା ଗୁଣପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜି ସଜା ଶୁଣାଇଛନ୍ତି ଭୁବନେଶ୍ୱରର ଏକ ସ୍ୱତନ୍ତ୍ର କୋର୍ଟ। ତାଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ତା’ସହିତ ୫୦ ହଜାର ଟଙ୍କା ଜୋରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜୋରିମାନା ଅର୍ଥ ନଦେଲେ ତାଙ୍କୁ ଆଉ ୬ ମାସ ଜେଲରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ପ୍ରମାଣ ନଷ୍ଟ ପାଇଁ ତାଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ସହିତ ୧୦ ହଜାର ଟଙ୍କା ଜୋରିମାନା ଦେବାକୁ କହିଛନ୍ତି କୋର୍ଟ। ଏହି ଜୋରିମାନା ଅର୍ଥ ନଦେଇ ପାରିଲେ ତାଙ୍କୁ ଆଉ ୩ ମାସ ଜେଲ୍ରେ ରଖିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
୧୯୯୫ରେ ରାମମୂର୍ତ୍ତିଙ୍କ ପତ୍ନୀ ଶଶିରେଖା ଗମାଙ୍ଗଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଖାରବେଳ ନଗରର ଏମ୍ଏଲଏ କଲୋନୀରେ ଥିବା ଘରୁ ତାଙ୍କ ପତ୍ନୀଙ୍କ ପୋଡ଼ା ମୃତଦେହ ମିଳିଥିଲା। ସେତେବେଳେ ସେ ଗର୍ଭବତୀ ଥିଲେ। ଏହି ଘଟଣାରେ ପ୍ରଥମେ ୟୁଡି ଓ ପରେ ହତ୍ୟା ମାମଲା ରୁଜୁ କରିଥିଲା ପୁଲିସ।
୧୯୯୫ ମସିହା ଅଗଷ୍ଟ ମାସ ୨୯ ତାରିଖ ଦିନ ୧୦ଟା ୪୫ ମିନିଟରେ ରାମମୂର୍ତ୍ତି ଗମାଙ୍ଗ ପୁଲିସକୁ ଖବର ଦେଇଥିଲେ ଯେ ତାଙ୍କ ପତ୍ନୀ ଆତ୍ମହତ୍ୟା କରିଛନ୍ତି। ସେହିଦିନ ସକାଳ ୯ଟାରେ ତାଙ୍କ ପତ୍ନୀ ବାଥରୁମ୍ ଭିତରେ ଆତ୍ମହତ୍ୟା କରିଥିବା ସେ ପୁଲିସକୁ କହିଥିଲେ। ତେବେ ତଦନ୍ତ ବେଳେ ଏହା ଆତ୍ମହତ୍ୟା ନୁହେଁ ହତ୍ୟା ବୋଲି ଜଣାପଡ଼ିଥିଲା। ରାମମୂର୍ତ୍ତି ଗମାଙ୍ଗଙ୍କର ଏଥିରେ ସଂପୃକ୍ତି ଥିବା କଥା ସାମ୍ନାକୁ ଆସିଥିଲା। ହତ୍ୟାକୁ ଆତ୍ମହତ୍ୟାର ରୂପ ଦେବା ପାଇଁ ସେ ପ୍ରୟାସ କରିଥିଲେ। ଘଟଣା ଘଟିବାର ୨୮ ବର୍ଷ ପରେ କୋର୍ଟରେ ଏହା ପ୍ରମାଣିତ ମଧ୍ୟ ହୋଇଥିଲା। ୧୧ ଜଣ ସାକ୍ଷୀ ଓ ୧୫ଟି ଦସ୍ତାବିଜ୍ ଆଧାରରେ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତ ହୋଇଥିଲେ।
୧୯୯୦ରେ ରାମମୂର୍ତ୍ତି ଗମାଙ୍ଗ ଜନତା ଦଳ ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ପରେ ୨୦୦୦ ମସିହାରେ ବିଜେପି ଟିକେଟରେ ଦ୍ୱିତୀୟ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
