Advertisment

ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା

୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି।

ଅଦ୍ୟତନ ହୋଇଛି
School

School

Advertisment

ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୪ଟି ଜିଲ୍ଲାରେ ୩ ଦିନିଆ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଯେଉଁ ୧୪ଟି ଜିଲ୍ଲା ପାଇଁ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି, ସେଗୁଡ଼ିକ ହେଉଛନ୍ତି- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ।

Advertisment

ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଉପରୋକ୍ତ ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଅଳ୍ପ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ। ଏମିତିକି ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡ ଫଲ୍ କଲା ବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ରହିପାରେ ବୋଲି ପୂର୍ବାନୁମାନ କରାଯାଇଛି। ତେଣୁ ପ୍ରତିଷେଧକମୂଳକ ପଦକ୍ଷେପ ସ୍ୱରୂପ ସ୍କୁଲଗୁଡ଼ିକ ଛୁଟି ଘୋଷଣା କରିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ଏସଆରସି ଦେଓରଞ୍ଜନ କୁମାର ସିଂ ଆଜି ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି। 

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍ ରିଲିଜ୍‌ରେ ୨୩ ତାରିଖ ସକାଳ ସାଢ଼େ ୮ଟାରୁ ୨୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Advertisment

୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କଟକ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୫ ତାରିଖ ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରରି କରାଯାଇଛି। ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ଅତି ଭୀଷଣ ବର୍ଷା ମଧ୍ୟ ହୋଇପାରେ ବୋଲି ଆକଳନ କରାଯାଇଛି।

ସେହିପରି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଅନ୍ୟପକ୍ଷରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe