ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜସ୍ଥାନରୁ ଓଡ଼ିଶା ଦେଇ ମଣିପୁର ଯାଏ ମନସୁନ୍ ଟ୍ରଫ ଲାଇନ ରହିଛି। ଏଥିସହ ଆସନ୍ତା ୪ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ୩ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢିବ। ବିଶେଷ କରି ମାଲକାନଗିରି, ନବରଙ୍ଗପୁର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, କୋରାପୁଟ, କଳାହାଣ୍ଡି, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ତେବେ ଜୁନ ଓ ଜୁଲାଇରେ ରାଜ୍ୟର କିଛି ଜିଲ୍ଲାରେ ସ୍ୱାଭାବିକଠାରୁ କମ୍ ବର୍ଷା ହୋଇଥିବା ବେଳେ ଅଗଷ୍ଟ ପ୍ରଥମ ସପ୍ତାହରେ ସ୍ୱାଭାବିକ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୧ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି।