ବମିଖାଲ ଓଭରବ୍ରିଜ୍‌ ଭୁଶୁଡିବା ଘଟଣା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ଘୋଷଣା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ବମିଖାଲ ନିକଟରେ ଆଜି ଭୁଶୁଡି ପଡିଛି ଏକ ନିର୍ମାଣାଧୀନ ଓଭରବ୍ରିଜ୍‌। ଏହି ଘଟଣାରେ ଝାରପଡ଼ାର ସତ୍ୟ ପଟ୍ଟନାୟକ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ଝିଅ ସହ ଅନ୍ୟ ୧୪ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ସମସ୍ତ ଆହତଙ୍କ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଡିରୁ ଏହି ସହାୟତା ପ୍ରଦାନ କରାଯିବ ବୋଲି ଜଣାପଡିଛି।
ଏହାସହ ମୁଖ୍ୟମନ୍ତ୍ରୀ ହସ୍ପିଟାଲକୁ ଯାଇ ଆହତମାନଙ୍କୁ ଭାଟି ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।
ଭାଙ୍ଗି ପଡିଥିବା ବ୍ରିଜ୍‌ର ଭଗ୍ନାବଶେଷକୁ ଯୁଦ୍ଧକାଳୀନ ଭିତ୍ତିରେ ଉଠାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଏହି ଘଟଣା ପାଇଁ ଯିଏ ଦୋଷୀ ସାବ୍ୟସ୍ତ ହେବେ ତାଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।