ଜଟଣୀ ଦୁଷ୍କର୍ମ ପୀଡ଼ିତାଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ନାବାଳିକାକୁ ଦୁଷ୍କର୍ମ ଘଟଣାରେ ପୀଡ଼ିତାଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୨ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ପ୍ରଦାନ କରାଯିବ। ତୁରନ୍ତ ସହାୟତା ରାଶି ପ୍ରଦାନ ଲାଗି ମୁଖ୍ୟମନ୍ତ୍ରୀ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଗୃହ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

ତେବେ ଏହି ଘଟଣାକୁ ନେଇ ଆଜିଠାରୁ ରାଜ୍ୟବ୍ୟାପୀ ବିଜେପି ବିକ୍ଷୋଭ ପ୍ରଦର୍ଶନ କରିଛି। ଗତକାଲି ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ଏହି ସୂଚନା ଦେଇଥିଲେ। ଏହା ସହିତ ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଓ ମହିଳାମାନେ ଅସୁରକ୍ଷିତ ହୋଇପଡ଼ିଥିବା ସେ କହିଥିଲେ। ଅଭିଯୁକ୍ତକୁ ଫାଶି ଦେବାକୁ ସେ ଦାବି କରିଥିଲେ।

ଜଟଣୀ ଲୋକୋ କଲୋନୀରେ ଗୁରୁବାର ବିଳମ୍ୱିତ ରାତିରେ ଝିଅଟି ପରିବାର ଲୋକଙ୍କ ସହିତ ଶୋଇଥିବା ବେଳେ ଅଭିଯୁକ୍ତ ତାକୁ ଘରୁ ଉଠାଇ ନେଇ ଦୁଷ୍କର୍ମ କରିଥିଲେ। ଫଳରେ ନାବାଳିକା ଜଣକ ଗୁରୁତର ହୋଇପଡ଼ିଥିଲେ। ପରିବାର ଲୋକେ ଏ ନେଇ ପୋଲିସରେ ଅଭିଯୋଗ କରିବା ପରେ ଅଭିଯୁକ୍ତ ଅହିରାଜ ନାୟକକୁ ଗିରଫ ହୋଇଥିଲା।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।