୧୭ ଯାଏ ସତର୍କ ରହିବାକୁ ଏସଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ବା କାଳବୈଶାଖୀର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଜି ସ୍ୱତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି)ଙ୍କ ଅଫିସ୍‌ ପକ୍ଷରୁ ସତର୍କତା ଜାରି କରାଯାଇଛି। ୧୭ ତାରିଖ ଯାଏ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଅଞ୍ଚଳରେ ଜିଲ୍ଲା ପ୍ରଶାସନକୁ ସଜାଗ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଏଥିସହ କାଳବୈଶାଖୀରେ ଯଦି କୌଣସି କ୍ଷୟକ୍ଷତି ହେବ, ତା’ହେଲେ ଏହାର ରିପୋର୍ଟ ଖୁବ୍‌ଶୀଘ୍ର […]

Rain

Manoranjan Sial
  • Published: Tuesday, 12 April 2022
  • , Updated: 12 April 2022, 10:34 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ବା କାଳବୈଶାଖୀର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଜି ସ୍ୱତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି)ଙ୍କ ଅଫିସ୍‌ ପକ୍ଷରୁ ସତର୍କତା ଜାରି କରାଯାଇଛି। ୧୭ ତାରିଖ ଯାଏ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଅଞ୍ଚଳରେ ଜିଲ୍ଲା ପ୍ରଶାସନକୁ ସଜାଗ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଏଥିସହ କାଳବୈଶାଖୀରେ ଯଦି କୌଣସି କ୍ଷୟକ୍ଷତି ହେବ, ତା’ହେଲେ ଏହାର ରିପୋର୍ଟ ଖୁବ୍‌ଶୀଘ୍ର ଦେବାକୁ ଏସ୍‌ଆର୍‌ସିଙ୍କ ଅଫିସ୍‌ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୧୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ଏଥିସହ କାଳବୈଶାଖୀର ଆଶଙ୍କା ରହିଛି। ସେଥିପାଇଁ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୩ ତାରିଖ ସକାଳ ସାଢ଼େ ୮ଟାରୁ ୧୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ୍‌, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

୧୪ ତାରିଖ ସକାଳ ସାଢ଼େ ୮ଟାରୁ ୧୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହିତ ବଜ୍ରପାତ ହେବାର ଆଶଙ୍କା ରହିଛି। ସେହିପରି କାଳବୈଶାଖୀ ନେଇ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଭଦ୍ରକ, ଯାଜପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କେତେକ ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ ରହିବାର ମଧ୍ୟ ସମ୍ଭାବନା ରହିଛି।

୧୫ ତାରିଖ ସକାଳ ସାଢ଼େ ୮ଟାରୁ ୧୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ଘଡ଼ଘଡ଼ି ବଜ୍ରପାତ ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କାଳବୈଶାଖୀ ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

୧୬ ତାରିଖ ସକାଳ ସାଢ଼େ ୮ଟାରୁ ୧୭ ତାରିଖ ସକାଳ ସାଢ଼େ ୮ଟା ଭିତରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ବିଜୁଳି ମାରିବା ସହ ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ବାକି ଜିଲ୍ଲା ସାଧାରଣତଃ ଶୁଖିଲା ରହିବ। ଏହି ସମୟସୀମା ମଧ୍ୟରେ କାଳବୈଶାଖୀ ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related story