ଆସନ୍ତା ୩୧ ଓ ୧ ତାରିଖରେ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପକ୍ଷରେ ଆଜି ଦିନ ତମାମ ରାଜଧାନୀ ଭୁବନେଶ୍ୱରର ପାଗ କାଉଁଳିଆ ରହିଥିଲା। ହେଲେ ସନ୍ଧ୍ୟା ବେଳେ ପ୍ରବଳ ବର୍ଷିଥିଲା। ଯେଉଁଥିପାଇଁ ରାଜଧାନୀରେ ଅନେକ ସ୍ଥାନ ଜଳମଗ୍ନ ହୋଇ ଜୀବନ ଯାତ୍ରା ପ୍ରଭାବିତ ହୋଇଥିଲା।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ମଙ୍ଗଳବାର ଉତ୍ତର ଓଡ଼ିଶାରେ ପ୍ରବଳବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୩୧ ତାରିଖ ବୁଧବାର ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ଓ ନୟାଗଡ଼ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ବୌଦ୍ଧ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧ ତାରିଖ ଗୁରୁବାର ଅନୁଗୋଳ, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ ଓ କଟକ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର,କୋରାପୁଟ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨ ତାରିଖ ଶୁକ୍ରବାର ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆଜି ରାଜ୍ୟରେ ଅନେକ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିଲା। ହେଲେ ରାଜଧାନୀ ଭୁବନେଶ୍ୱରରେ କାଉଁଳିଆ ପାଗ ରହିଥିଲା। ସନ୍ଧ୍ୟା ବେଳେ ପ୍ରବଳ ବର୍ଷା ହୋଇଥିଲା। ଯେଉଁଥିପାଇଁ ଜୀବନ ଯାତ୍ରା ପ୍ରଭାବିତ ହୋଇଥିଲା। ଅସମ୍ଭାଳ ବର୍ଷା ଯୋଗୁ ରାଜଧାନୀରେ ଅନେକ ଅଞ୍ଚଳ ଜଳମଗ୍ନ ହୋଇଥିବା ଦେଖିବାକୁ ମିଳିଛି।